ନବନୀତା ବ୍ୟୁରୋ। ଦୁଇ ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସଂଧ୍ୟା ୭.୨୦ ମିନିଟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଂଚିଛନ୍ତି ଦେଶର ପ୍ରଥମ ନାଗରିକ। ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ତାଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା କରାଯାଇଥିଲା। ବିମାନ ବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ଜୁଏଲ ଓରାମ ପ୍ରମୁଖ ଉପସ୍ଥିତ ଥିଲେ। ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧା ରାଜଭବନକୁ ଯାଇଛନ୍ତି। ରାଜଭବନରେ ରାତ୍ରୀ ଯାପନ କରିବେ କରିବେ ରାଷ୍ଟ୍ର ମୁଖିଆ।

୮ ତାରିଖ ସକାଳ ୧୦.୩୫ ଟା ସମୟରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖୋର୍ଦ୍ଧା ବରୁଣେଇରେ ପାଇକ ବିଦ୍ରୋହ ସ୍ମାରକର ଶିଳାନ୍ୟାସ କରିବେ। ଏ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରହଲ୍ଲାଦ ସିଂ ପଟେଲ ଓ ପ୍ରତାପ ଷଡ଼ଙ୍ଗୀ ଏବଂ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସାମିଲ୍ ହେବା କାର୍ଯ୍ୟକ୍ରମ ରହିଛି।
ଏହାପରେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବୁଲିରେ ଯୋଗ ଦେଇ ଦିକ୍ଷାନ୍ତ ଭାଷଣ ଦେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। କାର୍ଯ୍ୟକ୍ରମ ଶେଷ ପରେ ରାଷ୍ଟ୍ରପତି ସନ୍ଧ୍ୟାରେ ସ୍ଵତନ୍ତ୍ର ବିମାନରେ ଦିଲ୍ଲୀ ଫେରି ଯିବେ।

ସେପଟେ ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରୁଣେଇକୁ ଯାଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ତାସହ ବାଣୀବିହାରକୁ ଯାଇ ମଧ୍ୟ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଏଥିପାଇଁ ୫୦ ପ୍ଲାଟୁନ୍ ପୋଲିସ ଫୋର୍ସକୁ ନିୟୋଜିତ କରାଯାଇଛି।
